ଜିରୋ କାଜୁଆଲ୍ଟି ଆମ ଲକ୍ଷ୍ୟ। ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ଅଗ୍ନିଶମ ବାହିନୀ, ଓଡ୍ରାଫ ଟିମ୍ ଓ ଏନ୍ଡିଆର୍ଏଫ୍ ଟିମ୍ ସମସ୍ତେ ପ୍ରସ୍ତୁତ ଅଛନ୍ତି। ବାତ୍ୟାକୁ ନେଇ କେହି ଭୟଭୀତ ହୁଅନ୍ତୁ ନାହିଁ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପ୍ରସ୍ତୁତି ବୈଠକ ପରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ଏହା କହିଛନ୍ତି।
ଲୋକସେବା ଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତା କରି ବାତ୍ୟାରେ ‘ଶୂନ ମୃତାହତ’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳକୁ ଚିହ୍ନଟ କରି ବିପଦସଙ୍କୁଳ ଅଞ୍ଚଳରୁ ଲୋକଙ୍କୁ ଶତପ୍ରତିଶତ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ମୁଖ୍ୟମନ୍ତ୍ରୀ ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକରେ ଆବଶ୍ୟକୀୟ ଖାଦ୍ୟ ପଦାର୍ଥ, ପିଇବା ପାଣି, ଆବଶ୍ୟକୀୟ ଔଷଧ, ଶିଶୁ ଖାଦ୍ୟ ତୁରନ୍ତ ମହଜୁଦ ରଖିବା ସହିତ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବାତ୍ୟା ପରେ ପରେ ବିଭିନ୍ନ ରାସ୍ତା ଘାଟରେ ଅବରୋଧ ଦୂର କରି ଯେପରି ବିଦ୍ୟୁତ୍, ପାଣି ଓ ଟେଲି ଯୋଗାଯୋଗ ପରି ମୌଳିକ ସେବା ତୁରନ୍ତ କାର୍ଯ୍ୟକ୍ଷମ ହେବ ସେଥିପାଇଁ |
ଆଗୁଆ ପ୍ରସ୍ତୁତ ରହିବା, ଡାକ୍ତରଖାନା ଓ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନଗୁଡ଼ିକରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ସମୟରେ ଏବଂ ପରେ ଅତ୍ୟାବଶ୍ୟକ ସାମଗ୍ରୀର ଯେପରି ଦର ବୃଦ୍ଧି ନହୁଏ, ସେଥିପାଇଁ କଳାବଜାରୀଙ୍କ ଉପରେ ନଜର ରଖିବା ପାଇଁ କୁହାଯାଇଛି। ଏହା ସହିତ ବିଭିନ୍ନ ଜିଲ୍ଲା ମଧ୍ୟରେ ସମନ୍ୱୟ ରଖି ପ୍ରଭାବିତ ନ ହୋଇଥିବା ଅଞ୍ଚଳରୁ ଯେପରି ପନିପରିବା ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଆସିପାରିବ, ସେଥିପ୍ରତି ଧ୍ୟାନ ଦେବାକୁ କୁହାଯାଇଛି।